ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ।
ଅନୁଗୋଳ, ତା. ୧୫.୧୦:- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରାଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରତି ବର୍ଷ ପରି ଚଳିତ ବର୍ଷ ଅକ୍ଟୋବର ୨୭ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯିବ । ସପ୍ତାହର ପ୍ରଥମ ଦିନ ଅକ୍ଟୋବର ୨୭ ତାରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ସମସ୍ତ ସରକାରୀ କର୍ମଚାରୀ, ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟ, ଆଶା କର୍ମୀ, ଅଙ୍ଗନୱାଡି କର୍ମୀ, ସ୍ଵାସ୍ଥ୍ୟ କର୍ମୀ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀମାନେ ଶପଥ ପାଠ କରିବେ । ସେହିପରି ଏହି ସପ୍ତାହ ପାଳନ ଅବସରରେ ବହୁ ସଂଖ୍ୟାରେ ଜନସଚେତନତା କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ରାଲି, ୱାକାଥନ, ପଦଯାତ୍ରା ନାଟକ, ଗ୍ରାମ ସଭା ଇତ୍ୟାଦି କାର୍ଯ୍ୟକ୍ରମ ଆୟୋଜନ କରିବା ନିମନ୍ତେ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ଦୁର୍ନୀତି ନିବାରଣ ସଚେତନତା ସୃଷ୍ଟି କରିବା ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା ଆୟୋଜନ କରାଯିବ । ତୃଣମୂଳ ସ୍ତରରେ ବ୍ୟାପକ ଜନ ସଚେତନତା ନିମନ୍ତେ ପ୍ରତି ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ସମ୍ପୃକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ତତ୍ତ୍ୱାବଧାନରେ ସଚେତନତା ରାଲି ଓ ଗ୍ରାମ ସଭା ଅନୁଷ୍ଠିତ କରାଯିବା ନିମନ୍ତେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଗଲା । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପ ଆରକ୍ଷୀ ଅଧୀକ୍ଷକ ଶ୍ରୀମତୀ ଯୋଗେଶ୍ଵରୀ ବେହେରା, ଭିଜିଲାନ୍ସ ଉପ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରଦୀପ କୁମାର ସାମଲ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ସନ୍ମତ୍ ସ୍ମିତା ସାହୁ, ଭିଜିଲାନ୍ସ ଇନ୍ସପେକ୍ଟର ଶ୍ରୀମତୀ ଉର୍ମିଳା ମାଝୀ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଏଲ୍ ଟି ଏମ୍ ଚୌଧୁରୀ ଦୀପକ ମିଶ୍ର, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଅକ୍ଷୟ କୁମାର ସିଠ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦୁଃଖାସନ ନାଏକଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

