Spread the love

ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ

ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି। ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ।

ଏହାସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ବ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଯୋଜନାରେ ସମସ୍ତ ଯୋଗ୍ୟ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚିବା ଆମର ଲକ୍ଷ୍ୟ। କେହି ଜଣେ ବି ଯୋଗ୍ୟ ବ୍ୟକ୍ତି ଯେପରି ବଞ୍ଚିତ ନ ହେବ, ତାକୁ ସୁନିଶ୍ଟିତ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ।

ଜଙ୍ଗଲ ଜମି ଅଧିକାର ପ୍ରଦାନରେ ଓଡିଶା ଏକ ଆଗୁଆ ରାଜ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏପର୍ଯ୍ୟନ୍ତ ୪ ଲକ୍ଷ ୫୦ ହଜାର ଜନଜାତି ଓ ବନବାସୀ ପରିବାରକୁ ଜଙ୍ଗଲ ଜମି ଉପରେ ସତ୍ତ୍ବ ପ୍ରଦାନ କରାଯାଇଛି। ସେହିପରି ୪ ହଜାରରୁ ଅଧିକ ଗ୍ରାମସଭାକୁ ଗୋଷ୍ଠି ଅଧିକାର ଦିଆଯାଇଛି ବୋଲି ସେ କହିଥିଲେ। ଏହାସହିତ ସର୍ଭେ ହୋଇ ନଥିବା ଜଙ୍ଗଲ ଗାଁ ଗୁଡିକୁ ମଧ୍ୟ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଜାରି ରହିଛି ବୋଲି ସେ କହିଥିଲେ।

ଅନୁସୂଚିତ ଜାତି ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଯେ ଏହି ଯୋଜନା ଦ୍ବାରା ଜଙ୍ଗଲ ଜମିର ପରିଚାଳକ ଭାବରେ ଜନଜାତି ମାନଙ୍କ ଅଧିକାରକୁ ସ୍ବୀକୃତି ଦେବା ଏହି ଯୋଜନାର ଲକ୍ଷ୍ୟ । ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକ୍ରିୟା ତ୍ବରାନ୍ବିତ କରାଯାଇ ଯୋଗ୍ୟ ବ୍ୟକ୍ତି ମାନଙ୍କୁ ଅଧିକାର ପ୍ରଦାନ କରିବା ପଦକ୍ଷେପ ନିଆଯାଇଛି।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ଜଙ୍ଗଲ ଜମି ଉପରେ ଅଧିକାର ପ୍ରଦାନ ଓଡିଶା ସରକାରଙ୍କ ଏକ ପ୍ରମୁଖ ସଫଳତା। ଏହି ନୂଆ ଯୋଜନା ଦ୍ବାରା ସେମାନଙ୍କ ସାଂସ୍କୃତିକ ବିବିଧତାର ସୁରକ୍ଷା ସହିତ ସବୁ ବିକାଶମୂଳକ ଯୋଜନାରେ ଜନଜାତି ମାନଙ୍କୁ ସାମିଲ କରିବା ପାଇଁ ଏହି ଯୋଜନାରେ ବ୍ୟବସ୍ଥା କରାଯାଇଛି।

ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ୟୁଏନଡିପି, ବେସରକାରୀ ଅନୁଷ୍ଠାନ ବସୁନ୍ଧରା, ପ୍ରଦାନ ଆଦି ସଂସ୍ଥାର ପ୍ରତିନିଧି ଏବଂ ବିଭିନ୍ନ ଜିଲ୍ଲାର ଜନଜାତି ହିତାଧିକାରୀମାନେ ଉପସ୍ଥିତ ଥିଲେ।

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଓ ଅନୁସୂଚିତ ଜନଜାତି ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *