ପି.ସି ଆଣ୍ଡ ପି.ଏନ.ଡି.ଟି ଆଇନ ସମ୍ପର୍କିତ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ

ଅନୁଗୋଳ, ୧୪.୦୭: ଜିଲ୍ଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ୍ ଗୁଡ଼ିକରେ ପି.ସି ଆଣ୍ଡ ପି.ଏନ.ଡି.ଟି ଆଇନର୍ ସଠିକ୍ କାର୍ଯ୍ୟକାରିତାକୁ ନେଇ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଶ୍ରୀ ଅବ୍ଦାଲ୍ ମୁହମ୍ମଦ୍ ଅଖ୍ତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ଅଲଟ୍ରାସାଉଣ୍ଡ କ୍ଲିନିକ୍ ଗୁଡ଼ିକର ସମୀକ୍ଷା କରି ଯେଉଁମାନେ ନିୟମାନୁଯାୟୀ କାର୍ଯ୍ୟ କରୁନଥିବେ ସମ୍ପୃକ୍ତ ଅନୁଷ୍ଠାନଗୁଡ଼ିକ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଲିଙ୍ଗଗତ ହାରରେ ଅସମାନତା ଦୂର କରିବା ପାଇଁ ପ୍ରଚେଷ୍ଟା ଜାରି ରଖିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ସେ ପରାମର୍ଶ ଦେଇଥିଲେ । ଏତଦ୍ବ୍ୟତୀତ ପି.ସି ଆଣ୍ଡ ପି.ଏନ.ଡି.ଟି ଆଇନ ଅନ୍ତର୍ଗତ ବିଭିନ୍ନ ଚିକିତ୍ସାଳୟଗୁଡ଼ିକର ପଞ୍ଜିକରଣ, ନବୀକରଣ ଓ ସ୍ୱୀକୃତିକରଣ ସମ୍ପର୍କରେ ଆଲୋଚନା ହୋଇଥିଲା । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ମଦନ ମୋହନ ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ. ଅନ୍ତର୍ଯ୍ୟାମୀ ମିଶ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଯୋଗେଶ୍ୱରୀ ବେହେରା, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ.ଦିଲ୍ଲୀପ କୁମାର ପଟ୍ଟନାୟକଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ଡାକ୍ତର ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ ।




