ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

ଅନୁଗୋଳ, ୩୧/୦୮: ଜିଲ୍ଲା କାର୍ଯ୍ୟାଳୟଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ୩୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ଏବଂ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ରହିଥିବା ବେଳେ, ୯ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏହାସହିତ ୪ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୬ ହଜାର ୪୦୦ ଟଙ୍କା ଏବଂ ୪ ଜଣଙ୍କୁ ରେଡକ୍ରସ୍ ପାଣ୍ଠିରୁ ୨୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଜନଶୁଣାଣି ସମୟରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ଓ ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଉପସ୍ଥାପନ କରିଥିଲେ।
ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱ ଦିଆଯାଇଥିବା ଜଣାପଡ଼ିଛି।



