
ମୁଖ୍ୟମନ୍ତ୍ରୀଙ୍କ କୋଭିଡ଼ ସମୀକ୍ଷା : ଓଡିଶା
ଜେ ବି ଏନ, ୧୧/୧୨ /୨୦୨୦, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନସିଂ ମାଧ୍ୟମରେ କୋଭିଡ ମୁକାବିଲାର ସମୀକ୍ଷା କରି ରାଜ୍ୟର କୋଭିଡ ମୁକାବିଲା କାର୍ଯ୍ୟକ୍ରମରେ ସନ୍ତୋଷ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ପୂଜା ସମୟରେ ଯେଉଁ ଆଶଙ୍କା ଥିଲା , ତାକୁ ସଫଳତାର ସହ ଦୂରୀଭୂତ କରାଯାଇପାରିଛି । ସେହିପରି ଶୀତଋତୁର ଆଶଙ୍କା ମଧ୍ୟ ଦୂରୀଭୂତ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ । କୋଭିଡ ପରିଚାଳନାରେ ଓଡ଼ିଶା ଦେଶର ଶ୍ରେଷ୍ଠ ରାଜ୍ୟମାନଙ୍କ ମଧ୍ୟରେ ସ୍ଥାନ ପାଇଛି ଏବଂ ଏହାକୁ ନୀତି ଆୟୋଗ ମଧ୍ୟ ପ୍ରଶଂସା କରିଛି ବୋଲି ସେ କହିଥିଲେ । କୋଭିଡ – ୧୯ ଯୋଗୁ ଉପୁଜିଥିବା ଅର୍ଥନୈତିକ ଆହ୍ବାନର ମୁକାବିଲା ପାଇଁ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥା ସଂପୂର୍ଣ୍ଣ ଭାବେ ସଜାଗ ରହି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ଜୀବିକା ସୃଷ୍ଟି ସଂପର୍କିତ କାର୍ଯ୍ୟକ୍ରମ ଉପରେ ଗୁରୁତ୍ଵ ଦେଇ କାର୍ଯ୍ୟ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।



