ଅନୁଗୋଳରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ

ଅନୁଗୋଳ, ୧୭/୦୮/୨୦୨୬: ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ ଅଖ୍ତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି ସଭାଗୃହଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାହୁଲ ଜୈନ ଯୋଗଦେଇଥିଲେ।
ଜନଶୁଣାଣି ଶିବିରରେ ସମୁଦାୟ ୨୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ଥିଲା। ଏହା ମଧ୍ୟରୁ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏଥିସହ ଜଣେ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ପ୍ରଦାନ କରାଯାଇଥିଲା।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ମଦନ ମୋହନ ପ୍ରଧାନ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନ, ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ଦାସ, ବଅଁରପାଳ ତହସିଲଦାର ଶ୍ରୀ ସୁଶାନ୍ତ କୁମାର ମିଶ୍ର, ବଅଁରପାଳ ବିଡିଓ ଶ୍ରୀ ଲୋଚନ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ଯୋଗଦେଇଥିଲେ।
ଶିବିରରେ ଉପସ୍ଥିତ ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ ସମସ୍ୟା, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। ଅଭିଯୋଗଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଥିଲା।



