ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । କାଲି ଘଡ଼ଘଡ଼ି ସହ ବର୍ଷା ନେଇ 16 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ବଜ୍ରପାତ ସହ 30ରୁ 40 କିମି ବେଗରେ ବହିବ ପବନ ।
ଏନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସୀମାବର୍ତ୍ତୀ ଭାରତ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ଫେବୃଆରୀ 23 (ସୋମବାର) ଠାରୁ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।
ଫେବୃଆରୀ 23 ରୁ 24 ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଯାଜପୁର ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଏହା ସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହ 30-40 କି.ମି ବେଗର ଝଟକା ପବନ ବହିବା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏପଟେ ରାଜ୍ୟରେ କମୁଛି ଶୀତର ପ୍ରକୋପ । ଧୀରେ ଧୀରେ ବଢୁଛି ତାପମାତ୍ରା । ରାଜ୍ୟରେ ଆଗାମୀ ୪୮ ଘଣ୍ଟାରେ ରାତ୍ରି ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିଅସ ବୃଦ୍ଧି ପାଇବା ନେଇ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ ।



